କଟକରେ ୨୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କା ର ପ୍ରକଳ୍ପ ର ଶୁଭାରମ୍ଭ

0
162

ରିପୋର୍ଟ : ସୁଭାସିସ ନାୟକ
କଟକ, (୧୪/୧୨) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ର ଶୁଭାରମ୍ଭ କରିଛନ୍ତି ଓ କଟକରେ ୨୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କା ର ପ୍ରକଳ୍ପ ର ଶୁଭାରମ୍ଭ କରିଛନ୍ତି ।

କଟକ ର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧା ର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହା ସହିତ ରାଜ୍ୟ ର ୨୬ ଟି ଜିଲ୍ଲା ର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକରେ ୨୫୦୦ କୋଟି ଟଙ୍କା ର ବିଭିନ୍ନ ପ୍ରକଳ୍ପ ର ଶୁଭାରମ୍ଭ କରିଥିଲେ । କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ।

ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ । କଟକ ବାସୀଙ୍କ  ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀ କୁ ପୁରୀ-
ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ ।

ସେହିପରି ବେଗୁନିଆ ଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମ ର ଭୂମି । ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍ ଦେବା ପାଇଁ ଆମର ଲଢେଇ ଜାରି ରହିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧା ର ମିଶନ ଶକ୍ତି ର ମାଆ ମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୩୨ କୋଟି ରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାର ର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ । ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟା ରୁ ବିଶେଷକରି ଆର୍ଥିକ ସମସ୍ୟା ରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।