ନେଟଓ୍ୱାର୍କ ନ ଥିବାରୁ ପଢ଼ିବାକୁ ପାହାଡ଼କୁ ଯାଇଥିଲେ, ବଜ୍ରଘାତ ହେଲା

0
103
ନେଟଓ୍ୱାର୍କ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଫୁଲବାଣୀ, (୦୬/୧୦) : ଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବାକୁ ପାହାଡ଼ ଉପରକୁ ଯାଇଥିଲେ ୩ ଛାତ୍ର । ପାହାଡ଼ ଉପରେ ଥିବାବେଳେ ଘୋଟି ଆସିଲା କଳା ହାଣ୍ଡିଆ ମେଘ । ଘନ ଘନ ମାରିଲା ବିଜୁଳି ।

ନେଟଓ୍ୱାର୍କ ନ ଥିବାରୁ ପଢ଼ିବାକୁ ପାହାଡ଼କୁ ଯାଇଥିଲେ ସେଠାରେ ବଜ୍ରଘାତ ହେବାରୁ ଚେତାଶୂନ ହୋଇ ପଡ଼ିଯାଇଥିଲେ ଛାତ୍ରମାନେ । ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ପସରା ଗ୍ରାମ ପଞ୍ଚାୟତର ମୁଣ୍ଡାଗାଁରେ । ଆହତମାନେ ହେଲେ ଯୁକ୍ତ ଦୁଇର ଛାତ୍ର ଧିରେନ ଦିଗାଲ, ଦଶମ ଶ୍ରେଣୀର ଛାତ୍ର ପିଙ୍କୁ ମଲ୍ଲିକ ଓ ଅଷ୍ଟମ ଶ୍ରେଣୀର ଛାତ୍ର ପଞ୍ଚା ବେହେରା ।

ଗତକାଲି ଦିନ ୪ ଟା ସମୟରେ ୩ ଜଣ ଛାତ୍ର ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବା ପାଇଁ ଗାଁ ନିକଟରେ ଥିବା ଡିଗୀସରୁ ପାହାଡ଼କୁ ଯାଇଥିଲେ । ସେମାନେ ପାହାଡ଼ ଉପରେ ଥିବା ସମୟରେ ଘନ ଘନ ବଜ୍ରାଘାତ ହେବା ସହିତ ବର୍ଷା ହୋଇଥିଲା । ଛାତ୍ରମାନେ କୌଣସି ଉପାୟରେ ପାହାଡ଼ ତଳକୁ ଆସିପାରି ନଥିଲେ । ଘନଘନ ବଜ୍ରଘାତରେ ୩ ଜଣ ଛାତ୍ର ସେଠାରେ ଚେତାଶୂନ ହୋଇ ପଡ଼ିଯାଇଥିଲେ ।

ତେବେ ସନ୍ଧ୍ୟାରେ ପିଲାମାନେ ଘରକୁ ନ ଫେରିବାରୁ ପରିବାର ଲୋକେ ବ୍ୟସ୍ତ ହୋଇପଡ଼ିଥିଲେ । ପରିବାର ଲୋକେ ଓ ଗ୍ରାମବାସୀ ମିଶି ପାହାଡ଼ ଉପରକୁ ଯାଇ ପିଲାମାନଙ୍କୁ ଖୋଜାଖୋଜି କରିଥିଲେ । ସେଠାରେ ୩ ଜଣ ଛାତ୍ର ଚେତାଶୂନ୍ୟ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଦେଖିଥିଲେ । ପରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବ୍ରାହ୍ମଣପାଦ ମେଡିକାଲରେ ଭର୍ତ୍ତି କରିଥିଲେ । ଧିରେନ ଦିଗାଲ ନାମଙ୍କ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଙ୍କୁ ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ, ମୁଣ୍ଡାଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନାହିଁ । ଫଳରେ ଛାତ୍ରଛାତ୍ରୀଠାରୁ ଆରମ୍ଭ କରି ଗ୍ରାମବାସୀମାନେ ମଧ୍ୟ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଛାତ୍ରଛାତ୍ରୀ ମାନେ ପାଠ ପଢ଼ିବା ପାଇଁ ପାହାଡ଼ ଉପରକୁ ଯାଉଥିବା ବେଳେ ଗ୍ରାମବାସୀ ମଧ୍ୟ ଫୋନ୍ କରିବାକୁ ହେଲେ ପାହାଡ଼ ଉପରକୁ ଯାଇଥାନ୍ତି । ଗାଁରେ ମୋବାଇଲ ଟାୱାର ବସିଛି ହେଲେ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରି ନାହିଁ । ଯାହାଫଳରେ ଛାତ୍ରଛାତ୍ରୀଠାରୁ ଗ୍ରାମବାସୀ ପର୍ଯ୍ୟନ୍ତ ସମସ୍ତେ ମୋବାଇଲ ନେଟଓ୍ୱାର୍କ ପାଇଁ ପାହାଡ଼କୁ ଯାଇଥାନ୍ତି ।