ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ

0
43
ଆରପାରିରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୩) : ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ ।

୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଆଜି ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘ ଦିନ ଧରି କିଡନୀଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ । ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ଘରୋଇ ହସ୍ପିଟାଲକୁ ନେବା ଭିତରେ ବ୍ରେନକୁ ବ୍ଲଡ ଓ ଅକ୍ସିଜେନ୍ ସପ୍ଲାଇ କମିଯାଇଥିଲା ବୋଲି କହିଛନ୍ତି ଦାମ ରାଉତଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ।

ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ତାଙ୍କୁ ସିପିଆର୍ ଦିଆଯାଇଥିଲା ଏବଂ ହାର୍ଟ କାର୍ଯ୍ୟକ୍ଷମ ହୋଇଥିଲା । ତେବେ ମସ୍ତିଷ୍କରେ ଗୁରୁତର କ୍ଷତି ହୋଇଥିବାରୁ ସେ ପ୍ରାୟତଃ ବ୍ରେନଡେଡ୍ ସ୍ଥିତିରେ ବୋଲି କହିଥିଲେ ପୁଅ ସମ୍ବିତ । ଦାମଙ୍କ ଚିକିତ୍ସା ନିମନ୍ତେ ଡାକ୍ତରୀ ଟିମ୍‌ ନିୟୋଜିତ ହୋଇଥିଲେ। ମାତ୍ର ଶତଚେଷ୍ଟା ସତ୍ତ୍ୱେ ସେ ଆଜି ଭୋରରୁ ଆଖି ବୁଜିଥିବା ଜଣାଯାଇଛି । ଦାମଙ୍କ ମରଶରୀରକୁ ଆଜି ପ୍ରଥମେ ୟୁନିଟ ୬ସ୍ଥିତ ସରକାରୀ ବାସଭବନକୁ ଯିବ । ଏହାପରେ ତାଙ୍କୁ ବିଜେଡି କାର୍ଯ୍ୟାଳୟକୁ ନିଆଯିବ । ସେଠାରେ ପାର୍ଟି କାର୍ଯ୍ୟକର୍ତ୍ତା ଦାମଙ୍କ ଶେଷ ଦର୍ଶନ କରିବେ। ଏହାପରେ ମରଶରୀରକୁ ବିଧାନସଭାକୁ ନିଆଯିବ । ସେଠାରେ ବିଧାୟକମାନେ ତାଙ୍କ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିବେ ।

ସେଠାରୁ ଦାମଙ୍କ ମରଶରୀରକୁ ପାରାଦୀପ ନିର୍ବାଚନ ମଣ୍ଡଳୀକୁ ନିଆଯିବ । ଏହାପରେ ରାତିରେ ପୁରୀରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି । ଦାମ ରାଉତଙ୍କ ରାଜନୈତିକ କ୍ୟାରିଅର ୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୦ ମସିହାରେ ଜନତା ଦଳ ସେକୁଲାରରୁ ସେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ ।

ଏହାପରେ ୧୯୯୫ ମସିହାରେ ପରାଜିତ ହୋଇଥିବା ଦାମ ୨୦୦୦ ମସିହାରୁ ୨୦୧୯ ମସିହା ପର୍ଯ୍ୟନ୍ତ ବିଜୁ ଜନତା ଦଳରୁ ନିର୍ବାଚିତ ହୋଇଥିଲେ । ୫ ଥର ଏରସମା ଓ ୨ ଥର ପାରାଦ୍ୱୀପରୁ ନିର୍ବାଚିତ ହୋଇଥିଲେ ଦାମ । ବିଜୁ ଓ ନବୀନ ସରକାରରେ ୭ରୁ ଅଧିକ ବିଭାଗର ମନ୍ତ୍ରୀ ପଦ ସମ୍ଭାଳି ଥିଲେ ଦାମ । ୨୦୧୭ ମସିହାରେ ବିଜୁ ଜନତା ଦଳରୁ ବହିଷ୍କାର ହୋଇଥିବା ଦାମ ଏହାପରେ ବିଜେପରେ ଯୋଗଦେଇଥିଲେ । ୨୦୧୯ ମସିହାରେ ବାଲିକୁଦାରୁ ବିଜେପି ଟିକେଟରୁ ଲଢ଼ି ପରାଜୟ ବରଣ କରିଥିଲେ ଦାମ । ଗତ ଜାନୁଆରୀରେ ବିଜେଡି ପକ୍ଷରୁ ତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଥିଲା।

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତରାଜକୁ ସୁଦୃଢ କରିବାରେ ଦାମ ରାଉତରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ସେ ପଞ୍ଚାୟତିରାଜ ତଥା କୃଷି ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ଦାମ ରାଉତଙ୍କ ବିୟୋଗ ଖବର ପ୍ରଚାରିତ ହେବା କ୍ଷଣି ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଦାମଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା ବୋଲି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସୂଚନା ଦେଇଛନ୍ତି ।